
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ l ଏହି ତିଥିରେ ଆଜି ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।
କୁହାଯାଏ ମହାପ୍ରଭୁ ବୋହୁରୂପୀ l ତେବେ ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କଷ୍ଟ ଯନ୍ତ୍ରଣା ଭୋଗ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ । ଏହି ନୀତିକାନ୍ତିରେ ସେବାୟତମାନଙ୍କ ଅନେକ ଭୂମିକା ରହିଥାଏ । ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।
ଗତକାଲି ତଥା ମଙ୍ଗଳବାର ଦିନ ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଜେଉଡ଼ା ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ମଧ୍ୟ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ।
ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ।