ଭୁବନେଶ୍ଵର: ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା । ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତା ଚାରି ଦିନ ଯାଏଁ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପଶ୍ଚିମା ଝଡ ସହ ଟ୍ରପ ଲାଇନ ପାଇଁ ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ । ବର୍ଷା ଏବଂ ପବନ ସହିତ କୁଆ ପଥର ମାଡ ହେବାକୁ ନେଇ ମଧ୍ୟ ସତର୍କ କରାଯାଇଛି ।
ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁର। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ଚେତାବନୀ ମଧ୍ଯ ଜାରି ରହିଛି।
ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଏବଂ ଦେବଗଡ଼କୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବଜ୍ରପାତ ସମୟରେ ବାହାରେ ନ ବୁଲିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି ହୋଇଛି। ଗାଙ୍ଗେଟି ଓ୍ବେଷ୍ଟବେଙ୍ଗଲରୁ ତେଲେଙ୍ଗାନା ପର୍ଯ୍ୟନ୍ତ ନିମ୍ନ ଚାପରେଖା ପ୍ରଭାବରେ ବଜ୍ରପାତ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।