
ଭୁବନେଶ୍ଵର: ଦ୍ଵାପର ଯୁଗରେ ଭଗାବାନ କୃଷ୍ଣ ବୁଧବାର ରୋହିଣୀ ନକ୍ଷତ୍ରରେ ଦେବକୀଙ୍କ ଗର୍ଭରୁ ଜନ୍ମଲାଭ କରିଥିଲେ। ତିଥି ଥିଲା ଅଷ୍ଟମୀ ଓ ସମୟ ଥିଲା ରାତ୍ରି। ଏହା ପଛର କାରଣ ଥିଲା ଯେ ଶ୍ରୀକୃଷ୍ଣ ଚନ୍ଦ୍ରବଂଶୀ ହେବାକୁ ଚାହୁଥିଲେ। ଚନ୍ଦ୍ରଦେବ ତାଙ୍କ ପୂର୍ବଜ ଏବଂ ବୁଧ ଚନ୍ଦ୍ରମାଙ୍କ ପୁତ୍ର। ଏନେଇ ଚନ୍ଦ୍ରବଂଶରେ ପୁତ୍ରବତ ଜନ୍ମ ନେବା ପାଇଁ କୃଷ୍ଣ ବୁଧବାରକୁ ଚିହ୍ନଟ କରିଥିଲେ। ସେହିପରି ରୋହିଣୀ ହେଉଛନ୍ତି ଚନ୍ଦ୍ରଙ୍କ ପ୍ରିୟ ପତ୍ନୀ, ଅଷ୍ଟମୀ ତିଥି ଶକ୍ତିର ପ୍ରତୀକ। ତେଣୁ ଭଗବାନ ଶ୍ରୀକୃଷ୍ଣ ଅଷ୍ଟମୀ ତିଥି ରୋହିଣୀ ନକ୍ଷତ୍ରକୁ ବାଛିଥିଲେ। ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି। ଇଂରାଜୀ କ୍ୟାଲେଣ୍ଡର ଅନୁସାରେ ଏହିଦିନ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ପଡିଥାଏ।
ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣ ମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବା ପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବାକରିବା ହେଉଛି ପ୍ରକୃତ କର୍ମଯୋଗ ।କିମ୍ବଦନ୍ତୀ କୁହେ, ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧକରିବା ନେଇ ମାନବ ରୂପରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ ।
ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତକରିବା ନେଇ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରାତିରେ ବାହାରିପଡିଲେ। ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହୋଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେ ଆପେ ଖୋଲିଗଲା। ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହୋଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କିଦେଲେ। ସବୁ ବାଧାବିଘ୍ନ ଅତିକ୍ରମକରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମଦିନକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଶୈଳୀରେ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।