
ଭୁବନେଶ୍ୱର: ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାରଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ସହ ୨୭ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୧୩ ଦଶମିକ ୫ ମିଲିମିଟର ତୁଳନାରେ ୧୦୩ ପ୍ରତିଶତ ଅଧିକ । ସେହିପରି ଗତ ୨୪ ଘଣ୍ଟାରେ ଝାରସୁଗୁଡା କିରମରାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଆଜି ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ୧୮ରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ । ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ପରେ ସତର୍କ କରିଛନ୍ତି ଏସଆରସି । ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି । ତେଣୁ ସରକାରୀ କର୍ମଚାରୀମାନଙ୍କୁ ହେଡ୍-କ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।